Menu

ଗୀତସଂହିତା 146

IRV

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର।

2 ମୁଁ ବଞ୍ଚିଥିବା ଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।

3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ।

4 ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।

5 ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;

6 ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;

7 ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।

8 ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।

9 ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି।

10 ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Everything we make is available for free because of a generous community of supporters.

Donate