Menu

ଗୀତସଂହିତା 47

IRV

1 ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।

2 କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।

3 ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ।

4 ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟପାତ୍ର ଯାକୁବର ଗୌରବ ସ୍ୱରୂପ। [ସେଲା]

5 ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି।

6 ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର।

7 କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସା ଗାନ କର।

8 ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।

9 ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।

Everything we make is available for free because of a generous community of supporters.

Donate